ନାମାଙ୍କନ ଭରିଲେ ତରୁଣ ପାଣ୍ଡେ

0

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ତରୁଣ ହେଉଛନ୍ତି ୩ ଥରର ଝାରସୁଗୁଡ଼ା ବିଧାୟକ ସ୍ବର୍ଗତ ବୀରେନ୍ ପାଣ୍ଡେଙ୍କ ପୁଅ। ଆଜି ସେ ନିଜର ସମର୍ଥକ ଓ ବରିଷ୍ଠ ନେତାଙ୍କ ସହ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ ନିକଟରେ ନିଜର ନାମାଙ୍କନ ଭରିଛନ୍ତି। ଏହି ପ୍ରାର୍ଥୀପତ୍ର ଦାଖଲ ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ ଓ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ।

ଉଲ୍ଲେଖ ଥାଉ କି ପ୍ରଦେଶ କଂଗ୍ରେସ କମିଟିର ୫ ଜଣିଆ ଟିମ୍ ଝାରସୁଗୁଡ଼ା ଗସ୍ତ କରି ଦଳୀୟ ପ୍ରାର୍ଥିତ୍ବ ନେଇ କର୍ମୀ ଓ ନେତାଙ୍କ ସହ ବିଚାରବିମର୍ଶ କରିଥିଲେ।ଟିମ୍ ୬ ଜଣିଆ ତାଲିକା ପ୍ରସ୍ତୁତ କରି ଦଳର ରାଜ୍ୟ କମିଟିକୁ ହସ୍ତାନ୍ତର କରିଥିଲା। ତେବେ ଏଆଇସିସି ତରୁଣଙ୍କ ନାମ ଉପରେ ମୋହର ଲଗାଇଥିଲା। ତରୁଣ କୌଣସି ସାଧାରଣ ନିର୍ବାଚନରେ ପୂର୍ବରୁ ପ୍ରତିଦ୍ବନ୍ଦିତା କରିନଥିବା ବେଳେ ପ୍ରଥମ ଥର ପାଇଁ ଦଳ ତାଙ୍କୁ ଉପ ନିର୍ବାଚନ ମଇଦାନରେ ଓହ୍ଳାଇଛି। ତେବେ ୨୦୦୦ ମସିହାରୁ ନିର୍ବାଚନ ପ୍ରକ୍ରିୟା ସହ ଜଡ଼ିତ ଥିବା ବେଳେ ସେହି ଅଭିଜ୍ଞତା ଆଧାରରେ ଏହି ନିର୍ବାଚନରେ ବାଜିମାତ କରିବେ ବୋଲି ଶ୍ରୀ ପାଣ୍ଡେ କହିଛନ୍ତି।

ସୂଚନାଯୋଗ୍ୟ, ଝାରସୁଗୁଡାର ବିଧାୟକ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ଉକ୍ତ ଆସନ ଖାଲି ପଡ଼ିଥିଲା। ମେ ୧୦ ତାରିଖରେ ଏହି ଉପନିର୍ବାଚନ ଲାଗି ଭୋଟ୍ ଗ୍ରହଣ କରାଯିବ।

ଏଣେ ଆସନ୍ତା ୧୭ ତାରିଖରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି। ତେଣେ ଯଥେଷ୍ଟ ଆଗରୁ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧୮ ତାରିଖରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି।

Leave A Reply

Your email address will not be published.