ଗିରଫ ହେଲେ କୋଟିପତି ଉପଜିଲ୍ଲାପାଳ
ଭୁବନେଶ୍ବର: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ। ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରାଯାଇଥିଲା। ପ୍ରଶାନ୍ତ କୁମାର ରାଉତଙ୍କର ୫ କୋଟିରୁ ଅଧିକ ପରିମାଣର ହିସାବ ବହିର୍ଭୂତ ସଂପତ୍ତି ଅଛି। ନିଜ ଆୟଠାରୁ ପ୍ରଶାନ୍ତଙ୍କ ୫୦୦ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି। ଏନେଇ ଭିଜିଲାନ୍ସ ଏସ ପି ଏମ ରାଧାକ୍ରିଷ୍ଣନ୍ ସୂଚନା ଦେଇଛନ୍ତି।
ଶୁକ୍ରବାର ସକାଳେ ପ୍ରଶାନ୍ତଙ୍କର ନବରଙ୍ଗପୁରସ୍ଥିତ ସରକାରୀ ବାସଭବନ, ଭୁବନେଶ୍ବର କାନନବିହାର ଏଚଆଇଜି-୧୧୫ରେ ଥିବା ଦୁଇ ମହଲା କୋଠା, ନବରଙ୍ଗପୁରସ୍ଥିତ ଅଫିସ, ଭଦ୍ରକ ବହୁଦରଡ଼ାରେ ଥିବା ପୈତୃକ ଘର ସମେତ ୯ ଜାଗାରେ ଏକକାଳୀନ ଚଢ଼ଉ କରା ଯାଇଥିଲା। ବେଆଇନ କାରବାର ପାଇଁ ବାଲିମାଫିଆ, ଖଣି ମାଫିଆ, ଜଙ୍ଗଲ ମାଫିଆ ଓ ଉନ୍ନୟନ କାମ ବାବଦରେ ଠିକାଦାରଙ୍କଠାରୁ ଟଙ୍କା ଠୁଳ କରିଥିବା କୁହାଯାଉଛି। କିନ୍ତୁ ତଦନ୍ତ ପରେ ହିଁ ସବୁ କିଛି ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି। ଚଢ଼ଉ ପାଇଁ ୯ଟି ଟିମ୍ ତିଆରି ହୋଇଥିଲା। ଦୁଇଜଣ ଅତିରିକ୍ତ ଏସ୍ପିଙ୍କ ନେତୃତ୍ବରେ ୭ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ସାମିଲ ହୋଇଥିଲେ।