ରାଜ୍ୟରେ ଆହୁରି ତିନି ଦିନ ବର୍ଷିବ

0

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରୁ ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ଆସନ୍ତା ୩ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ପୁରୀ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିପରି ୨୧ ତାରିଖରେ କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ବରଗଡ଼ ଏବଂ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଏବଂ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୩ ତାରିଖରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ ଯୋଗୁ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, କେନ୍ଦୁଝରରେ ୭ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ଖରିଆରରେ ୬, କୋରାପୁଟ ୬, ଗଞ୍ଜାମ ୫, ଗଜପତି ୫, ଅନୁଗୋଳ ୫, ରାୟଗଡ଼ା ୫, ମୟୂରଭଞ୍ଜ ୪ ଏବଂ ବାଲେଶ୍ୱରରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.