ଏକାକୀ ଲଢ଼ିବେ ବିଜେପି

0

ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏକ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ‘X’ (ପୂର୍ବର ଟ୍ୱିଟର) ଆକାଉଣ୍ଟରେ ଏକ ପୋଷ୍ଟ କରି ବିଜେପି ଏଥର ରାଜ୍ୟର ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ସ୍ପଷ୍ଟ ଭାବେ ଲେଖିଛନ୍ତି।

ମନମୋହନ ସାମଲ ‘X’ରେ ଲେଖିଛନ୍ତି, ‘ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ।

ସମଗ୍ର ଦେଶରେ ଯେଉଁ ସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ୱିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ । କିନ୍ତୁ ଆଜି ଓଡ଼ିଶାରେ ମୋଦି ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡ଼ିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାନ୍ତି।

ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ୱାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।’

Leave A Reply

Your email address will not be published.