ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା…

0

ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗମୁହାଁ ହେବ । ଆସନ୍ତା ୨୪ ତାରିଖ ମଧ୍ୟରାତ୍ରିରେ ଏହା କେନ୍ଦ୍ରାପଡ଼ା ଓ ଭଦ୍ରକ ମଧ୍ୟ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି।

ଦାନା’ ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲା ବାତ୍ୟା ଯୋଗୁ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। ଏହି ସବୁ ଜିଲାରେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ମିଲିମିଟରରୁ ମଧ୍ୟ ଅଧିକ ବର୍ଷା ହେବା ନେଇ ଆକଳନ କରାଯାଇଛି। ଏହି ଜିଲାଗୁଡ଼ିକରେ କଚ୍ଚାଘର, ଗଛ ଭାଙ୍ଗିବା ସହ କେତେକ ସ୍ଥାନରେ ବର୍ଷା ଯୋଗୁ ଜଳବନ୍ଦୀ ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି।

ଆସନ୍ତା ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର ଏବଂ କଟକ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ଓ୍ବାର୍ନିଂ ଜାରି କରାଯାଇଛି । ସେହିପରି ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, କଟକ, ବଲାଙ୍ଗୀର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, ମୟୂରଭଞ୍ଜ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.