ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଜବାବ ମାଗିଲେ ହାଇକୋର୍ଟ…
ଶ୍ରୀମନ୍ଦିରରେ ଦିବ୍ୟାଙ୍ଗଙ୍କ ପ୍ରବେଶ ପ୍ରସଙ୍ଗକୁ ନେଇ ଏବେ ମୁଖ୍ୟ ପ୍ରଶାସକଙ୍କୁ ଜବାବ ମାଗିଛନ୍ତି, ହାଇକୋର୍ଟ । ହ୍ବିଲ ଚେୟାର ମାଧ୍ୟମରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ବ୍ୟବସ୍ଥା ପ୍ରସଙ୍ଗକୁ ନେଇ ଦାୟର ଜନସ୍ବାର୍ଥ ମାମଲା ଉପରେ ଶୁଣାଣି କରି କିଛି ଏପରି କହିଛନ୍ତି କୋର୍ଟ ।
ତେବେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ, ବିଶେଷ କରି ଯେଉଁମାନେ ହ୍ବିଲ୍ ଚେୟାର ବ୍ୟବହାର କରୁଛନ୍ତି, ସେମାନଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଥିଲା । ଯାହାକୁ କାର୍ଯ୍ୟକାରୀ ନକରାଯିବାରୁ ଏହାକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା । ଏହାକୁ ଅତି ଗୁରୁତ୍ବର ସହ ନେଇ, ଏହି ମାମଲାରେ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରିବା ସହିତ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଯାହାର ଶୁଣାଣି ଆସନ୍ତା ଫେବୃଆରୀ ୧୨ରେ ଧାର୍ଯ୍ୟ କରାଯାଇଛି । ଏହି ପ୍ରସଙ୍ଗରେ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଜବାବ ରଖିବା ଆବଶ୍ୟକ ବୋଲି ନିର୍ଦ୍ଦେଶ ଦେଇ, ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ । ଏଥିସହିତ ଏହି ମାମଲାରେ ରାଜ୍ୟ ସରକାର, ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି ।