ଭୁବନେଶ୍ବର (ଆମ ଟିଭି): କଟକ ଏସସିବି ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହା ସହିତ ପ୍ରଧାନମନ୍ତ୍ରୀ ମୃତକଙ୍କ ପାଇଁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।
ରାଷ୍ଟ୍ରପତି ଦୁଃଖ ପ୍ରକାଶ କରି କହିଛନ୍ତି, କଟକ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣାରେ ଜୀବନହାନୀରେ ଗଭୀର ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା। ଆହତମାନଙ୍କ ଆରୋଗ୍ୟ କାମନା କରିଛନ୍ତି ।
ସେହିପରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣା ଗଭୀର ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ସୂଚନା ଯୋଗ୍ୟ, ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ୫୦ ମିନିଟ୍ ସମୟରେ କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର୍ ଆଇ.ସି.ୟୁରେ ବିଭାଗରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଥିଲ । ଆଇସିୟୁରେ ଚିକିତ୍ସାଧୀନ ଥିବା ୧୦ ରୋଗୀଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏହା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥିତି ପରଖି ସହାୟତା ରାଶି ଘୋଷଣା କରିବା ସହିତ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।