ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସୱେରେ ଓଲଟିଲା ଯାତ୍ରୀବାହୀ ବସ୍, ୩ ମୃତ ଓ ୪୫ ଆହତ

0

ଉତ୍ତରପ୍ରଦେଶ : ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସୱେରେ ସୋମବାର ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ଏଯାଏଁ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉଦ୍ବେଗ ପ୍ରକାଶ କରିବା ସହ ତୁରନ୍ତ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଖବର ମୁତାବକ, ଲକ୍ଷ୍ନୌର ପାରା ଥାନା ଅଞ୍ଚଳ ନିକଟରେ ପ୍ରାୟ ୫୦ରୁ ୬୦ ଜଣ ଯାତ୍ରୀଙ୍କୁ ନେଇ ବସଟି ରାଜସ୍ଥାନର ରେୱାଡ଼ିରୁ ବିହାରର ଛପରା ଅଭିମୁଖେ ଯାଉଥିବା ସମୟରେ ହଠାତ୍ ବସଟି ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା । ଖବର ପାଇ ପୋଲିସର ଏକ ବଡ଼ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲା । ପୋଲିସ ସହ ଏସଡିଆରଏଫ୍ ଓ ଅଗ୍ନିଶମ ବିଭାଗର ଟିମ୍ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ କରିଥିଲେ ।

ଲକ୍ଷ୍ନୌର ପାରା ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁତ୍ୱର ସହ ନେଇଛନ୍ତି । ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଆହତଙ୍କ ପରିବାର ସହ ଯୋଗାଯୋଗ କରି ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ କହିଛନ୍ତି। ଆହତମାନେ ଶୀଘ୍ର ସୁସ୍ଥ ହେବା ନେଇ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।

ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ତଥା ସ୍ୱାସ୍ଥ୍ୟମନ୍ତ୍ରୀ ବ୍ରଜେଶ ପାଠକ ହସ୍ପିଟାଲରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି। ସମସ୍ତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ୩୧ ଜଣ ଆହତଙ୍କୁ ଲୋକବନ୍ଧୁ ହସ୍ପିଟାଲରେ ଏବଂ ୧୩ ଜଣଙ୍କୁ KGMU ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି ।

Leave A Reply

Your email address will not be published.