ଭୁବନେଶ୍ୱର (ଆମ ଟିଭି): ୭୦ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଦିଆଯିବ। ଆଜି କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।
ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୨୦୧୮ ମସିହାରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେଇ ଏହି ସମସ୍ୟାର ସମାଧାନ ପାଇଁ ଘୋଷଣା କରିଥିଲେ। ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଆଦି ଯୋଜନା କାର୍ଯ୍ୟକାରୀ ହେଉଛି। ଏହାକୁ ଆହୁରି ଜୋରଦାର କରାଯାଇ ଓଡିଶାରେ ଆମେ ଆରମ୍ଭ କରିଛୁ ଅନ୍ତ୍ୟୋଦୟ ଗୃହ ଯୋଜନା। ଏହା ଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ।
ଆଜି ପ୍ରଥମ ଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ୬୦ ହଜାର ଘର ପାଇଁ କାର୍ଯ୍ୟାଦେଶ ଦିଆଯାଇଛି। ଆଗାମୀ ୩ ବର୍ଷରେ ୫ ଲକ୍ଷରୁ ଉର୍ଦ୍ଧ୍ୱ ଘର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି। ଚଳିତ ବର୍ଷ ଏହି ଯୋଜନା ପାଇଁ ୨,୬୦୦ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଥିବା ବେଳେ ଆଗାମୀ 3 ବର୍ଷରେ ଏଥିପାଇଁ ୭,୫୫୦ କୋଟି ଟଙ୍କା ବିନିଯୋଗ କରାଯିବ। ସୂଚନାଯୋଗ୍ୟ ଯେ, ବିଜୁ ପକ୍କା ଘର ଯୋଜନାରେ ୧୦ ବର୍ଷରେ ବହୁତ କମ ଘର ନିର୍ମାଣ ହୋଇଛି।
ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ୱୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ। ସ୍ୱଚ୍ଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ୱଳା ଯୋଜନାରୁ ରନ୍ଧନ ଗ୍ୟାସ, ଜଳ ଜୀବନ ମିଶନରୁ ସ୍ୱଚ୍ଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ ସଂଯୋଗ ଆଦି ଯୋଗାଇ ଦିଆଯିବ। ଜୀବନଯାପନ ପାଇଁ ସବୁ ଆବଶ୍ୟକୀୟ ସୁବିଧା ଦିଆଯିବ।
କେବଳ ସେତିକି ନୁହେଁ, ଏହି ଯୋଜନାରେ ହିତାଧିକାରୀମାନଙ୍କୁ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ୯୦ ରୁ ୯୫ ଦିନ ପର୍ଯ୍ୟନ୍ତ ଅଣକୁଶଳୀ ଶ୍ରମିକ ଭାବରେ ପାରିଶ୍ରମିକ ସହ କାମ ଯୋଗାଇ ଦିଆଯିବ।