ମୁଖ୍ୟ ମନ୍ତ୍ରୀଙ୍କ ବଡ ଘୋଷଣା, ଜଳସାଥୀଙ୍କୁ ମିଳିବ ସାଇକେଲ

0

ଭୁବନେଶ୍ଵର, : ଜଳସାଥୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା। ଜଳସାଥୀମାନଙ୍କ ଯାତାୟତ ସୁବିଧା ପାଇଁ ସାଇକେଲ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଜଳସାଥୀମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏଭଳି ଘୋଷଣା କରିଛନ୍ତି। ଜଳସାଥୀମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ ଉପଭୋକ୍ତାମାନଙ୍କ ମଧ୍ୟରେ ସେତୁ ସାଜି ଉଭୟଙ୍କ ମଧ୍ୟରେ ବିଶ୍ଵାସ ସୃଷ୍ଟି କରିବାରେ ସହାୟକ ହୋଇଛନ୍ତି। ସେମାନଙ୍କ କାର୍ଯ୍ୟ ଦକ୍ଷତା ଦ୍ଵାରା ଜଳଯୋଗାଣର ଗୁଣବତ୍ତା ଓ ନିର୍ଭରଶୀଳତା ପ୍ରତିପାଦିତ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ, ସହରାଞ୍ଚଳ ପାନୀୟ ଜଳ ଯୋଗାଣ ଓ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା ଏବଂ ତୃତୀୟ ଲିଙ୍ଗର ଭଉଣୀମାନଙ୍କୁ ଦାୟିତ୍ଵ ଦିଆଯାଇଛି। ସେମାନେ ମିଟର ରିଡିଂ, ଜଳର ମାନ ପରୀକ୍ଷା, ନୂତନ ସଂଯୋଗ ଓ ବେନିୟମ ସଂଯୋଗ ଦୂର କରିବା କ୍ଷେତ୍ରରେ କାମ କରୁଛନ୍ତି। ଏଥିପାଇଁ ସେମାନଙ୍କୁ ତାଲିମ ଦିଆଯାଇଛି। ବିକେନ୍ଦ୍ରୀକରଣ ଓ ଜନ ଭାଗିଦାରୀ ରାଜ୍ୟ ସରକାରଙ୍କ ସହରାଞ୍ଚଳ ପରିଚାଳନା ମଡେଲର ଦୁଇ ଆଖି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜଳସାଥୀମାନେ ଏହି ଉଭୟ ଆଖିକୁ ପ୍ରତିନିଧିତ୍ଵ କରୁଛନ୍ତି। ୩ ବର୍ଷ ତଳେ ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଜି ସାରା ଓଡ଼ିଶାର ସହରାଞ୍ଚଳରେ ଜଳସାଥୀମାନେ ଜଳଯୋଗାଣ କାର୍ଯ୍ୟକ୍ରମକୁ ସଫଳତାର ସହ ପରିଚାଳନା କରୁଛନ୍ତି ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ୧୧୪ଟି ସହରରୁ ୮୫ଟି ସହରରେ ଶତପ୍ରତିଶତ ପାଇପ ଜଳଯୋଗାଣର ବ୍ୟବସ୍ଥା କରିଥିବା ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୪୦ ଜଣ ଜଳସାଥୀ ୮.୪୦ ଲକ୍ଷ ଉପଭୋକ୍ତାଙ୍କ ଜଳଯୋଗାଣ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି। ଏହି ବାବଦରେ ୬୭ କୋଟି ଟଙ୍କା ଜଳକର ଆଦାୟ କରିପାରିଛନ୍ତି । ସେମାନଙ୍କ ଦ୍ଵାରା ମିଟର ରିଡିଂ, ଜଳକର ଆଦାୟ ଓ ବେନିୟମ ପାଇପ ସଂଯୋଗ ଦୂର କରିବା କାର୍ଯ୍ୟରେ ବହୁତ ଉନ୍ନତି ଆସିଛି। ଜଳସାଥୀ କାର୍ଯ୍ୟକ୍ରମ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀଙ୍କୁ ସମ୍ପତ୍ତି କର ଆଦାୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ଵାରା ସହରାଞ୍ଚଳରେ ରାଜସ୍ଵ ବୃଦ୍ଧି ହେବା ସହିତ ମିଶନ ଶକ୍ତି ମା ମାନଙ୍କର ଆର୍ଥିକ ଅଭିବୃଦ୍ଧି ସହିତ ସଶକ୍ତିକରଣ ହୋଇପାରିବ ବୋଲି ସେ କହିଛନ୍ତି।

Leave A Reply

Your email address will not be published.