ଭୁବନେଶ୍ୱର: ଘନୀଭୂତ ହେଉଛି ଅବପାତ, ଆଜି ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପ୍ରବଳରୁ ଅତି ପ୍ରବଳ ବର୍ଷା, କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଅବପାତ ସୃଷ୍ଟି ହୋଇଛି । ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଆକଳନ ଅନୁସାରେ, ଗଭୀର ଅବପାତ ଆଜି ପୂର୍ବାହ୍ନରୁ ମଧ୍ୟାହ୍ନ ମଧ୍ୟରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିପାରେ। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ବିକ୍ଷିପ୍ତ ଭାବେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ଆଜି ଛତିଶଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଗାଙ୍ଗେୟ ପଶ୍ଚିମବଙ୍ଗର କିଛି ସ୍ଥାନରେ ମଧ୍ୟ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସେପଟେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ସତର୍କ ହୋଇଛି ପ୍ରଶାସନ । ପାଣିପାଗ ବିଭାଗର ଚେତାବନୀ ପରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୪ଟି ଜିଲ୍ଲାରେ ଆଜି ପାଇଁ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । । ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାର ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକରେ ଛୁଟି ଘୋଷଣା କରାଯାଇଛି । ବଙ୍ଗୋପସାଗରରେ ସକ୍ରିୟ ଅବପାତର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ପାଣିପାଗ ବିଭାଗ ପକ୍ଷରୁ ଅନେକ ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସତର୍କ ସୂଚନା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପୂର୍ବ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛି ।