ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଏହାରି ଭିତରେ ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଗବଡ଼, କେନ୍ଦୁଝର ଓ ସମ୍ବଲପୁର। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଏହି ୫ ଜିଲ୍ଲାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ । ଏଣୁ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳରେ ରହିଛି ।
ରାଜ୍ୟର ଉପରୋକ୍ତ ୫ ଜିଲ୍ଲା ଛଡ଼ା ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅବଶିଷ୍ଟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଅନ୍ୟପଟେ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି।