ଭୁବନେଶ୍ୱର (ଆମ ଟିଭି): ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଗତକାଲି ରାଜଧାନୀରେ ବାଦଲ ଫଟା ବର୍ଷା ରେକର୍ଡ ହୋଇଯାଇଛି । ଆଜି ପାଇଁ ମଧ୍ୟ କିଛି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼, କଟକ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏଥି ସହ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨ ଦିନ ଲଘୁଚାପ ସହ ସକ୍ରିୟ ମୌସୁମିଜନିତ ବର୍ଷା ସମ୍ଭାବନା ରହୁଛି । ଏହି ଦୁଇ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।