ଭୁବନେଶ୍ୱର (ଆମ ଟିଭି): କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫ ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। କୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିବ।
ଏହି ଅବସରରେ ଉଦବୋଧନ ଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରୁ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହୋଇ ଆଜି କୋରାପୁଟରେ ପହଞ୍ଚିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍ ସେବା ପାଇଲେ। ଏହି ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍ ସୁବିଧା ମିଳିଲା। ଏ ସବୁ ଜିଲ୍ଲାର ୬୩ ଲକ୍ଷ ଲୋକଙ୍କ ପାଇଁ ଘର ପାଖରୁ ସେମାନଙ୍କୁ ଯିବା ଆସିବା ପାଇଁ ସୁବିଧା ହେଲା।