ସାରା ରାଜ୍ୟ ଛୁଇଁଲା ମୌସୁମୀ, କେତେକ ସ୍ଥାନରେ ଲାଗିରହିଛି ବର୍ଷା

0

ଭୁବନେଶ୍ବର : ଆଜି ସାରା ରାଜ୍ୟ‌କୁ ମୌସୁମୀ ଛୁଇଁଛି। ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଦେଖା ଦେଇଥିବା ବେଳେ ଅନେକ ସ୍ଥାନରେ ବର୍ଷା ହୋଇଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବମୋଟ୍‌ ୨୧.୩ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୮.୯ ମିମି ତୁଳନାରେ ୧୩୯% ଅଧିକ। ଏଥିସହ ଗତ ୨୪ ଘଣ୍ଟାରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ୫୨.୮ମିମି ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବର୍ଷା ତୁଳନାରେ ୫୯୧% ଅଧିକ। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ। ଶନିବାର ଦିନ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲ‌ାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ବାଲେଶ୍ବର, ଭଦ୍ରକ, ‌‌କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲା‌ର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲାରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି

ପାଣିପାଗ ବିଭାଗର ସୂଚନା ମୁତାବକ, ୨୫ ତାରିଖ ଦିନ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କେତେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସେହିଭଳି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନୟାଗଡ଼ ଆଦି ଜିଲ୍ଲାରେ ୟେଲୋୱା‌ର୍ଣ୍ଣିଂ ଜାରି ହୋଇଛି। ୨୬ ତାରିଖ ଦିନ ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ତଥା ଏହାର ଆଖପାଖ ଅଞ୍ଚଳର ଆକାଶ ମେଘା‌ଚ୍ଛନ୍ନ ରହିବ। ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ଡିଗ୍ରି ମଧ୍ୟରେ ରହିବ।

Leave A Reply

Your email address will not be published.