୨୦ଯାଏ ଭିଯିବ ଓଡ଼ିଶା
ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଦିନ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି।
ଏହି ଦୁଇ ପାଣିପାଗ ନିୟାମକ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସୋମବାର ଦିନ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୮ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ ସୂଚନା ଜାରି କରାଯାଇଛି।