ଗୋପବନ୍ଧୁ ସେବାକୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ

0

ପୁରୀ: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ଏକ ଐତିହାସିକ ଗ୍ରାମରେ ରୂପାନ୍ତରିତ ହୋଇଛି। ସୁଆଣ୍ଡୋକୁ ଯାଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି, ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମମାଟିରେ ପାଦ ଦେଇଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି। ମୁଁ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ସେ ଥିଲେ ଯୁଗପୁରୁଷ। ଓଡ଼ିଆ ଜାତି ସର୍ବଦା ଗୋପବନ୍ଧଙ୍କଠାରେ ଋଣୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୫ଟି ଉପକ୍ରମରେ ଓଡ଼ିଶାର ବରପୁତ୍ରମାନଙ୍କ ଜନ୍ମପୀଠର ବିକାଶ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉତ୍କଳ ଗୌରବ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସହିଦ ଲକ୍ଷ୍ମଣ ନାୟକ ଏବଂ ଆହୁରି ଅନେକ ମହାପୁରୁଷଙ୍କ ତ୍ୟାଗ ଓ ସାଧନା ଓଡ଼ିଶାର ଗୌରବ ବଢାଇଛି।

ଗୋପବନ୍ଧୁଙ୍କ ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍କଳମଣି ଥିଲେ ମାନବ ସମାଜର ମଣି । ତାଙ୍କ ତ୍ୟାଗ, ଦେଶଭକ୍ତି, ସେବା ଓ ଜାତିପ୍ରୀତିର ତୁଳନା ନାହିଁ। ସ୍ବାଧୀନତା ସଂଗ୍ରାମରୁ ଆରମ୍ଭ କରି ଓଡ଼ିଶାର ଶିକ୍ଷା, ସାହିତ୍ୟ, ସଂସ୍କୃତି, ରାଜନୀତି, ସେବା ଓ ମାନବିକତାର ନୂଆ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି। ଓଡ଼ିଶାରେ ଜାତୀୟତାବାଦୀ ଚେତନାର ବିକାଶରେ ସେ ଥିଲେ କର୍ଣ୍ଣଧାର। ଭୋଗ ନୂହେଁ, ତ୍ୟାଗ ହିଁ ମହାନ, ସେବା ହିଁ ଶ୍ରେଷ୍ଠ – ଏହା ହିଁ ହେଉଛି ଗୋପବନ୍ଧୁଙ୍କ ଜୀବନର ବାର୍ତ୍ତା। ସେ ସବୁବେଳେ ଆମ ପାଇଁ ପ୍ରେରଣା ହୋଇ ରହିଛନ୍ତି ଓ ରହିଥିବେ। ଗୋପବନ୍ଧୁଙ୍କ ‘ଭାର୍ଗବୀ ସଂକଳ୍ପ’କୁ ଜୀବନର ବ୍ରତ କରି ଏକ ନୂଆ ଓ ସଶକ୍ତ ଓଡ଼ିଶା ଗଠନ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

ଗୋପବନ୍ଧୁଙ୍କ ଜନ୍ମ ମାଟିର ବିକାଶରେ ମୁଖ୍ୟମନ୍ତ୍ରୀ ଏଥିପାଇଁ ଉତ୍କଳମଣିଙ୍କ ପରିବାର ଓ ସୁଆଣ୍ଡୋଙ୍କ ଜନସାଧାରଣଙ୍କ ସହଯୋଗ ପାଇଁ ଧନ୍ୟବାଦ ଦେଇଛନ୍ତି। ଏହାସହିତ ରାଜ୍ୟ ସଂସ୍କୃତି ବିଭାଗ ଓ ପୁରୀ ଜିଲ୍ଲା ପ୍ରଶାସନକୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ।

Leave A Reply

Your email address will not be published.