ରାଜ୍ୟସ୍ତରୀୟ ପରେଡ୍ରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚଳିତ ବର୍ଷ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ମହାତ୍ମା ଗାନ୍ଧୀ ମାର୍ଗଠାରେ ସକାଳ ୯ଟାରେ ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ। ଏହି ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ ପ୍ରସ୍ତୁତି ବୈଠକ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।
ଚଳିତ ବର୍ଷ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପରେଡ୍ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ଲୋକ ଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ। ସାଧାରଣତନ୍ତ୍ର ଦିବସ-୨୦୨୬ରେ ଆୟୋଜିତ ରାଜ୍ୟସ୍ତରୀୟ ପରେଡ୍ରେ ଶ୍ରେଷ୍ଠ ବିବେଚିତ ବିଭିନ୍ନ କଣ୍ଟିଜେଣ୍ଟ ଓ ପ୍ରଜ୍ଞାପନ ମେଢ଼କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ ସହ ସମ୍ବର୍ଦ୍ଧିତ କରିବେ। ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବସ୍ଥଳରେ ସଫେଇ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍ ନିୟନ୍ତ୍ରଣକୁ କମିସନରେଟ୍ ପୁଲିସ ପକ୍ଷରୁ ପରିଚାଳନା କରାଯିବ। ଏହି ବୈଠକରେ ବିଭାଗୀୟ ନିର୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ନିର୍ଦେଶକ(ବୈଷୟିକ) ଗୁର୍ବୀର୍ ସିଂ, ଅତିରିକ୍ତ ସଚିବ ଅଶୋକ କୁମାର ବେଉରିଆ, ଅତିରିକ୍ତ ନିର୍ଦେଶକ ସ୍ମିତା କର, ଯୁଗ୍ମ ନିର୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।