ନବୀନଙ୍କ ମନ୍ତ୍ରୀ ମଣ୍ଡଳରେ ସାମିଲ ହେଲେ ତିନି ନୂଆ ମନ୍ତ୍ରୀ

0

ଭୁବନେଶ୍ବର : ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି | ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି | ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ | ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

ମୟୂରଭଞ୍ଜ ଜିଲ୍ଲା ରାଜନୀତିରେ ସୁଦାମ ମାର୍ଣ୍ଡିଙ୍କ ଦବ୍‌ଦବା ଜୋର୍‌ ରହିଛି। ଜେଏମ୍‌ଏମ୍‌ରୁ କ୍ୟାରିୟର ଆରମ୍ଭ କରି ଜେଏମ୍‌ଏମ୍‌ ପ୍ରାର୍ଥୀ ଭାବେ ଦୁଇ ଥର ବିଧାନସଭା ଓ ଥରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରେ ବିଜେଡିରେ ଯୋଗ ଦେଇ ୨୦୧୪ ଓ ୨୦୧୯ରେ ଦୁଇ ଥର ବିଜେଡି ପ୍ରାର୍ଥୀ ଭାବେ ବାଙ୍ଗିରୀପୋଷିରୁ ନିର୍ବାଚିତ ହୋଇ ଆସୁଛନ୍ତି। ୨୦୧୪ରୁ ୨୦୧୭ ପର୍ଯ୍ୟନ୍ତ ସେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ର ମନ୍ତ୍ରୀ ଥିଲେ। ୨୦୧୯ରେ କ୍ୟାବିନେଟ୍‌ ମନ୍ତ୍ରୀ ହୋଇ ରାଜସ୍ବ ବିଭାଗ ପାଇଥିଲେ। ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଛନ୍ତି। ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରୁ ବାସନ୍ତୀ ହେମ୍ବ୍ରମ୍‌ ମନ୍ତ୍ରୀ ହୋଇଛନ୍ତି। ମୟୂରଭଞ୍ଜର ମୋଟ୍‌ ୯ଟି ବିଧାନସଭା ଆସନରୁ ବିଜେପି ଦଖଲରେ ୬ଟି ଓ ବିଜେଡି ଦଖଲରେ ୩ଟି ରହିଛି।

Leave A Reply

Your email address will not be published.