ଆଜି ଶ୍ରୀମନ୍ଦିରରେ ହେବ ରାହୁରେଖା ଲାଗି ନୀତି : ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

0

ପୁରୀ (ଆମ ଟିଭି): ଆଜି ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଭାଦ୍ରବ କୃଷ୍ଣପକ୍ଷ ତିଥି ବା ରେଖା ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀବିଗ୍ରହଙ୍କ ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହି ନୀତି ସମୟରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ରହିବ ।  ମହାପ୍ରଭୁଙ୍କ ଏହି ଗୁପ୍ତନୀତି ପାଇଁ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ରାହୁରେଖା ଲାଗି ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ । ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ ।  ତେବେ ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା ।

ତେବେ ପୁନର୍ବାର ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ ।  ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ । ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ ।  ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।

Leave A Reply

Your email address will not be published.